ଭୁବନେଶ୍ୱର : ବାଂଲାଦେଶ ଏବଂ ପଡ଼ୋଶୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପଡ଼ୋଶୀ ଅଞ୍ଚଳରେ ଅବସ୍ଥିତ ରହିଛି ଏବଂ ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି । ଏହାର ପ୍ରଭାବରେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ସେହିପରି ମୌସୁମୀ ଟ୍ରଫ୍ଲାଇନ ବର୍ତ୍ତମାନ ପୂର୍ବ ଦିଗରୁ ଉତ୍ତର- ପୂର୍ବ ବଙ୍ଗୋପସାଗରକୁ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପଡ଼ୋଶୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ଦେଇ ଗତି କରୁଛି ଏବଂ ସମୁଦ୍ର ପତନଠାରୁ ୧.୫ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି । ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ । ତେବେ ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୫ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ଏବଂ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୪ ତାରିଖ ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର ଓ ବଲାଙ୍ଗୀର ଜିଲ୍ଲାରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେଥିପାଇଁ ଏହି ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଏହି ସମୟ ମଧ୍ୟରେ ବୌଦ୍ଧ, କଳାହାଣ୍ଡି, ନୂଆପଡା, କନ୍ଧମାଳ, ମାଲକାନଗିରି, କୋରାପୁଟ, ସୋନପୁର, ନବରଙ୍ଗପୁର, ଭଦ୍ରକ, ଯାଜପୁର, କଟକ, ଦେବଗଡ, ଢେଙ୍କାନାଳ, ମୟୂରଭଞ୍ଜ, ଝାରସୁଗୁଡା, ବାଲେଶ୍ୱର ଓ ଅନୁଗୁଳ ପ୍ରଭୃତି ୧୭ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏତଦ୍ ବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା ସମୂହ ଏବଂ ଉପକୂଳ ଓଡିଶାର ଅନେକ ସ୍ଥାନରେ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି । ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ ।
Sign in
Sign in
Recover your password.
A password will be e-mailed to you.