୩ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା: ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର, : ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ସକାଳେ ଦକ୍ଷିଣପଶ୍ଚିମ ବାଂଲାଦେଶ ପାଶ୍ୱର୍ବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବା ସହ ପଶ୍ଚିମଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେଉଥିବା ବେଳେ ୨୦ ତାରିଖ ଯାଏଁ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ଓ ଅତିଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସ୍ୱତନ୍ତ୍ର ବୁଲେଟିନରେ କୁହାଯାଇଛି, ବୁଧବାର ସକାଳ ସାଢେ ୮ଟା ପର୍ଯ୍ୟନ୍ତ କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ ଓ ଝାରସୁଗୁଡ଼ାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ତା\’ ସହିତ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ହୋଇପାରେ ତଥା ବିଜୁଳି ମଧ୍ୟ ମାରିପାରେ । ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୋଳ, ଢେଙ୍କାନାଳ, ଜୟପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ସହିତ ଏହି ସ୍ଥାନଗୁଡ଼ିକ ବିଜୁଳି ମାରିପାରେ ଓ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ହୋଇପାରେ । ବାକି ଜିଲ୍ଲା- ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି ଓ କୋରାପୁଟର ଗୋଟିଏ ବା ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ତା\’ ସହିତ ବିଜୁଳି ମାରିପାରେ ଓ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି । ତେଣୁ ଏହି ସବୁ ଜିଲ୍ଲାଗୁଡ଼ିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବୁଧବାର ସକାଳ ସାଢେ ୮ଟାରୁ ଗୁରୁବାର ସକାଳ ସାଢେ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ବାଲେଶ୍ୱର, ଭଦ୍ରକ ଓ ଯାଜପୁରର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେଥିପାଇଁ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପର ଝାରସୁଗୁଡ଼ା, ଦେବଗଡ଼, ଢେଙ୍କାନାଳ, ଅନୁଗୋଳ, ବରଗଡ଼, ସୋନପୁର ଓ ବୌଦ୍ଧ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୯ ତାରିଖ ସକାଳ ସାଢେ
୮ଟାରୁ ୨୦ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି । ଏହି ସମୟ ମଧ୍ୟରେ ବରଗଡ଼, ସୋନପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ ଓ ବୌଦ୍ଧ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୦ ତାରିଖ ସକାଳ ସାଢେ ୮ଟାରୁ ୨୧ ତାରିଖ ସକାଳ ସାଢେ ୮ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।