ଭୁବନେଶ୍ୱର, ୫ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଖୋର୍ଦ୍ଧା, ସୁବର୍ଣ୍ଣୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁର ଆଦି ୬ଟି ଜିଲ୍ଲାର ୨୮୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଏଥିରେ ଖୋର୍ଦ୍ଧା ଜିଲ୍ଲାର ୮୦ଟି ହାଇସ୍କୁଲ, ସୁବର୍ଣ୍ଣପୁରର ୧୪ଟି, ପୁରୀର ୫୩ଟି, ନୟାଗଡ଼ର ୭୫ଟି, ବୌଦ୍ଧର ୧୦ଟି ଓ ନବରଙ୍ଗପୁରର ୫୪ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ସୂଚନାଯୋଗ୍ୟ ଯେ ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ।ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ରୂପାନ୍ତରିତ ସ୍କୁଲରେ ପିଲାଙ୍କ ସଫଳ ଭବିଷ୍ୟତ ପାଇଁ ସବୁ ସୁଯୋଗ ରହିଛି। ଆଜିର ପିଲାମାନେ ଆଗାମୀ ଦିନରେ ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶାର ସାରଥୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ଆଶା ଓ ବିଶ୍ୱାସ ପ୍ରକଟ କରିଥିଲେ। ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଏବେ ଓଡିଶାରେ ରୂପାନ୍ତରିତ ଯୁଗ ଚାଲିଛି। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ସ୍କୁଲ ରୂପାନ୍ତରିତ ଓଡିଆ ଜାତିରେ ନୂଆ ଜାଗରଣ ର ମାର୍ଗ ପ୍ରଶସ୍ତ କରିଛି ବୋଲି ସେ କହିଥିଲେ। ସ୍କୁଲ କଲେଜ ଠାରୁ ଆରମ୍ଭ କରି ହସ୍ପିଟାଲ, ପର୍ଯ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂାନ୍ତର କାର୍ଯ୍ୟ ଚାଲିଛି । ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରାସ୍ତା ରୂପାନ୍ତର ପ୍ରସ୍ତୁତ କରୁଛି । ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ ଏସବୁ ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ୱୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ । ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ। ପିଲାମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ୫ଟିର ଗୁରୁତ୍ୱ ବୁଝାଇ ଥିଲେ। ସେ କହିଥିଲେ ଯେ ପିଲାମାନେ ନିଜ ଜୀବନରେ ଏହାକୁ ପ୍ରୟୋଗ କଲେ ନିଶ୍ଚୟ ସଫଳ ହେବେ। ପିଲାମାନଙ୍କ ଭବିଷ୍ୟତ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସରକାରୀ ସ୍କୁଲର ପିଲାମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରାଯାଇଛି । ସରକାରୀ ସ୍କୁଲ ମାନଙ୍କରେ ପିଲାମାନଙ୍କ ଶିକ୍ଷାଦାନ କ୍ଷେତ୍ରରେ ବହୁ ଉନ୍ନତି ଆସିଛି । ଏବେ ସରକାରୀ ସ୍କୁଲରେ ପାଠ ପଢିବା ପାଇଁ ପିଲା ଓ ଅଭିଭାବକ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହେଉଛି। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ କ୍ରୀଡା କ୍ଷେତ୍ରରେ ଟିମ୍ ୱାର୍କର ବିଶେଷ ଭୂମିକା ରହିଛି। ସ୍ୱଚ୍ଛତା ଓ ସାଧୁତା ହେଉଛି ମଣିଷ ଜୀବନର ଶ୍ରେଷ୍ଠ ଗୁଣ। ଜୀବନର ସବୁ କ୍ଷେତ୍ରରେ ସାଧୁତା ଅବଲମ୍ବନ କରିବାକୁ ଚେଷ୍ଟା କର। ସମୟ ହେଉଛି ତୁମ ମାନଙ୍କ ପାଇଁ ସବୁଠାରୁ ମୂଲ୍ୟବାନ। ସମୟକୁ ନଷ୍ଟ ନ କରି ତାର ଉପଯୋଗ କର । ଏହି ଚାରୋଟି ନୀତିକୁ ଅନୁସରଣ କଲେ ଜୀବନରେ ସଫଳତା ହାସଲ କରି ରୂାନ୍ତର ଆସିବ। କାର୍ଯ୍ୟକ୍ରମରେ ଯୋଗ ଦେଇ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି କାର୍ତିକ ପାଣ୍ଡିଆନ କହିଲେ ଯେ ରାଜ୍ୟର ଛାତ୍ରଛାତ୍ରୀମାନେ ନିଜର ଭବିଷ୍ୟତକୁ ନେଇ ଯେଉଁସବୁ ସ୍ୱପ୍ନ ଦେଖିଛନ୍ତି, ତାକୁ ସାକାର କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ରୂାନ୍ତରିତ ସ୍କୁଲରେ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେଇଛନ୍ତି। ଶିକ୍ଷା କ୍ଷେତ୍ରରେ ଓ ଭବିଷ୍ୟତ ନିର୍ମାଣ ପାଇଁ ଏହା ସେମାନଙ୍କୁ ସଶକ୍ତ କରିବ। ଏଥିସହିତ ଆହୁରି ମଧ୍ୟ କହିଥିଲେ ଯେ ଏହି ରୂପାନ୍ତରିତ ସ୍କୁଲ ଗୁଡିକ ହେଉଛି ଆପଣମାନଙ୍କ ସମ୍ପତି, ରାଜ୍ୟବାସୀଙ୍କ ସମ୍ପତି । ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ ପ୍ରତି ସମସ୍ତେ ଦାୟିତ୍ୱବାନ ହେବାକୁ ସେ ପରାମର୍ଶ ଦେଇଥିଲେ। ଏହି ଅବସରରେ ୫ଟି ସ୍କୁଲ ରୂପାନ୍ତର ସଂପର୍କରେ ବିଭିନ୍ନ ସ୍ଥାନରେଛାତ୍ରଛାତ୍ରୀମାନେ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରିଥିଲେ । କାର୍ଯ୍ୟକ୍ରମରେ ସୁବର୍ଣ୍ଣୁରରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ପୁରୀରେ ଇଲୋକ୍ଟ୍ରୋନିକ୍ସ, ସୂଚନା ଓ ପ୍ରଯୁକ୍ତି, କ୍ରୀଡା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା, ବୌଦ୍ଧରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ନବରଙ୍ଗପୁରରେ ସାଂସଦ ରମେଶ ଚନ୍ଦ୍ର ମାଝୀ, ଖୋର୍ଦ୍ଧାରେ ବିଧାୟକ ସୁଶାନ୍ତ କୁମାର ରାଉତ ଏବଂ ନୟାଗଡରେ ବିଧାୟକ ରମେଶ ଚନ୍ଦ୍ର ବେହେରା ପ୍ରମୁଖ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ୱଥୀ ଏସ୍ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ୱତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ ଏବଂ ବିଭାଗୀୟ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।
Sign in
Sign in
Recover your password.
A password will be e-mailed to you.