କଟକରେ ହେବ ଅତ୍ୟାଧୁନିକ ବସ୍ ଟର୍ମିନାଲ

730

-ଖର୍ଚ୍ଚ ହେବ ୬୫ କୋଟି ଟଙ୍କ

-ନେତାଜୀଙ୍କ ନାମରେ ହେବ ନାମିତ

ଭୁବନେଶ୍ୱର: କଟକର ଖାନନଗରଠାରେ ନିର୍ମିତ ହେବ ଅତ୍ୟାଧୁନିକ ବସ୍ ଟର୍ମିନାଲ । ଏଥିରେ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା । ମହାନ୍ ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍ ଟର୍ମିନାଲକୁ ନାମିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈଠକରେ ଘୋଷଣା କରିଥିଲେ । ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହା କାର୍ଯ୍ୟକାରୀ କରାଯିବ । ସୂଚନାଯୋଗ୍ୟ ଯେ, ଆଗାମୀ ୨୩ ତାରିଖ ଦିନ ନେତାଜୀଙ୍କ ଜୟନ୍ତୀ ପାଳନ କରାଯିବ ଏବଂ ଚଳିତବର୍ଷ ସମଗ୍ର ଦେଶ ନେତାଜୀଙ୍କର ୧୨୫ତମ ଜୟନ୍ତୀ ପାଳନ କରିବାକୁ ଯାଉଛି । ଆମ ସ୍ୱାଧୀନତା ସଂଗ୍ରାମର ଅନ୍ୟତମ ସେନାପତି ଓ ମହାନ୍ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ କଟକ ଓଡିଆ ବଜାରରେ ଜନ୍ମଗ୍ରହଣ କରିଥିଲେ ଏବଂ କଟକରେ ବାଲ୍ୟ ଶିକ୍ଷା ଲାଭ କରିଥିଲେ । ବାଦାମବାଡି ବସ୍ଷ୍ଟାଣ୍ଡ ଜନଗହଳି ବୃଦ୍ଧି ସହିତ ସ୍ଥାନାଭାବ ଦୃଷ୍ଟିରୁ ଜନସାଧାରଣ ଓ ଯାତ୍ରୀ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହି ଅତ୍ୟାଧୁନିକ ବସ୍ ଟର୍ମିନାଲକୁ ଖାନନଗରରେ ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି ଅତ୍ୟାଧୁନିକ ବସ୍ ଟର୍ମିନାଲରେ ନେତାଜୀଙ୍କ ଜୀବନ ଓ ସଂଗ୍ରାମ ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ପାଇଁ ଏକ ସ୍ୱତନ୍ତ୍ର କିଓସ୍କ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଟର୍ମିନାଲର ବିଭିନ୍ନ ସ୍ଥାନରେ ନେତାଜୀଙ୍କ ଆଦର୍ଶ ଓ ଜୀବନୀ ସଂପର୍କରେ ପ୍ର·ର ପ୍ରସାର ପାଇଁ ବିଭିନ୍ନ ଫଟୋଚିତ ରଖାଯିବ । ଏହି ବସ୍ ଟର୍ମିନାଲରେ ଯାତ୍ରୀମାନଙ୍କର ସୁବିଧା ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ବ୍ୟବସ୍ଥା ରହିବ । ଏଥିରେ ଏକ ବୃହତ୍ ଟର୍ମିନାଲ ବିଲ୍ଡିଂ, ସାଧାରଣ ଯାତ୍ରୀବାହୀ ବସ୍ ପାଇଁ ସ୍ଥାନ, ସ୍ଥାନୀୟ ଓ ମୋ ବସ୍ ସେବା ପାଇଁ ସ୍ଥାନ, ଯାନ ମରାମତି ଓ ରକ୍ଷଣାବେକ୍ଷଣ ବ୍ଲକ୍, ଚାରିଚକିଆ ଯାନ ଓ ଅଟୋ ପାଇଁ ସ୍ୱତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯିବ ।

୧ଲକ୍ଷ ୧୮ ହଜାର ବର୍ଗ ଫୁଟ୍ରେ ଏଥିାଇଁ ୩ ମହଲା ବିଶିଷ୍ଟ ଟର୍ମିନାଲ ବିଲ୍ଡିଂ ନିର୍ମାଣ କରାଯାଇ ଏଥିରେ ଯାତ୍ରୀ ବିଶ୍ରାମସ୍ଥଳ, ଫୁଡ କୋର୍ଟ, ଟିକେଟ ଗୃହ,ଇ-ଯାନ ଚାର୍ଜିଂ ପଏଣ୍ଟ, ଛାତ ଉପରେ ବର୍ଷା ଜଳ ସଂରକ୍ଷଣ ଏବଂ ସୌର ପ୍ୟାନେଲ ମଧ୍ୟ ରଖାଯିବ । ଏହି ଟର୍ମିନାଲରେ ଏକ ସମୟରେ ୧୮୦ଟି ବସ୍ ପାର୍କିଂର ବ୍ୟବସ୍ଥା ରହିବ । ଯାତ୍ରୀମାନଙ୍କ ସୁବିଧା ପାଇଁ ଅତ୍ୟାଧୁନିକ ସୂଚନା ବ୍ୟବସ୍ଥା ମଧ୍ୟ ରହିବ । ଏହି ନିର୍ମାଣ ପାଇଁ କଟରର ରିଂଗ୍ ରୋଡକୁ ଆଉ ଦୁଇ କିଲୋମିଟର ସଂପ୍ରସାରଣ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ସଂଚାଳନା କରିଥିଲେ । ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଗୃହ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ, ଅର୍ଥ ବିଭାଗର ପ୍ରମୁଖ ସଚିବ ଏବଂ କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର, କଟକ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ । ପୂର୍ତ୍ତ ସଚିବ ଏହି ପ୍ରକଳ୍ପ ସଂପର୍କରେ ଉପସ୍ଥାପନା ରଖିଥିଲେ ।

Leave A Reply

Your email address will not be published.