ବନ୍ୟା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟରେ ବନ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବନ୍ୟା ଯୋଗୁ ଯେପରି କୌଣସି ଜୀବନହାନୀ ନ ହୁଏ ସେଥିପ୍ରତି ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରତି ଜୀବନ ଗୁରୁତ୍ୱପୂର୍ଣ୍ଣ, ତେଣୁ ବନ୍ୟାରେ ଜିରୋ କାଜୁଆଲଟି ଉପରେ ଫୋକସ୍‌ କରିଛନ୍ତି ମୁଖ୍ୟମନ୍ତ୍ରୀ ।ବନ୍ୟା ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ନଦୀ ବନ୍ଧ ଭାଙ୍ଗିଥିବା ବେଳେ ଘଳିଆ ହୋଇ ପାଣି ଗାଁକୁ ପ୍ରବେଶ କରିଛି। ଫଳରେ ବହୁ ଅଞ୍ଚଳ ଜଳମଗ୍ନ ହେବା ସହ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି। ଏପରି ସ୍ଥିତିରେ ବନ୍ୟା ଘେରରେ ଥିବା ଲୋକଙ୍କୁ ତୁରନ୍ତ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।କ୍ରମାଗତ ଭାବେ ବର୍ଷା ଲାଗି ରହିଥିବାରୁ ମହାନଦୀ ଅବବାହିକା ଅଞ୍ଚଳର ୧୦ଟି ଜିଲ୍ଲାରେ ବନ୍ୟା ହେବାର ସମ୍ଭାବନା ଦେଖାଦେଇଛି । ତେଣୁ ଏହି ୧୦ଟି ଜିଲ୍ଲାର ଜିଲ୍ଲାପାଳ ମାନେ ସତର୍କ ରହିବା ସହିତ ବନ୍ୟା ପରିସ୍ଥିତିକୁ ରୋକିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି । ଏହାବାଦ ସ୍ୱାସ୍ଥ୍ୟ, ଜଳଯୋଗାଣ, ପଞ୍ଚାୟତିରାଜ ବିଭାଗକୁ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଅଯାଇଛି। ଆବଶ୍ୟକସ୍ଥଳେ ବନ୍ୟା ପ୍ରପିଡ଼ିତଙ୍କୁ ରନ୍ଧା ଖାଦ୍ୟ ଦେବାକୁ ଗୁରୁତ୍ୱ ଦିଆଯାଉଛି। ଏହାବାଦ ରିଲିଫ ଓ ମୌଳିକ ସୁବିଧା ଯୋଗାଇ ଦେବା ସହ ପିଇବା ପାଣି ସମସ୍ୟା ଦୂର କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ସମ୍ବଲପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ ସିଏମସି କମିଶନରଙ୍କ ସହିତ ପରିସ୍ଥିତି ସଂପର୍କରେ ଆଲୋଚନା କରିଥିଲେ । ବର୍ତ୍ତମାନ ସୁଦ୍ଧା ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି ଏବଂ ଜିଲ୍ଲା ପ୍ରଶାସନ ସଂପୂର୍ଣ୍ଣ ଭାବରେ ସଜାଗ ରହି ପରିସ୍ଥିତି ଉପରେ ନଜର ରଖିଛି । ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ ଓ ଜିଲ୍ଲାପାଳମାନେ ଉପସ୍ଥିତ ଥିଲେ ।