ଭୁବନେଶ୍ୱର : ଓଡିଶା ଯୁଗେ ଯୁଗେ ଏକ ପ୍ରମୁଖ ଶକ୍ତିପୀଠ ଭାବରେ ପ୍ରସିଦ୍ଧଲାଭ କରିଛି । ଓଡିଶାର ବିଭିନ୍ନ ଅଞ୍ଚଳରେ ମା’ ବିଭିନ୍ନ ରୂପରେ ପୂଜା ପାଇ ଆସୁଛନ୍ତି । ଶକ୍ତି ପୂଜାରେ ଚୈତ୍ର ମାସ ବିଶେଷ ଗୁରୁତ୍ୱ ବହନ କରିଥାଏ । ମା’ଙ୍କର ଚୈତ୍ର ମଙ୍ଗଳବାରକୁ ସାରା ଓଡିଶାର ମହିଳାମାନେ ଅତ୍ୟନ୍ତ ଭକ୍ତି ଓ ନିଷ୍ଠାର ସହ ପାଳନ କରିଥାନ୍ତି ।
ମା’ଙ୍କର ଏହି ପବିତ୍ର ମାସ ଅବସରରେ ଆଜି ରାଜ୍ୟର ତିନୋଟି ପ୍ରମୁଖ ଶକ୍ତିପୀଠ, କାକଟପୁରର ମା’ ମଙ୍ଗଳା, ଭୂଷୁଣ୍ଡପୁରର ମା’ ଉଗ୍ରତାରା ଓ ବାଣପୁରର ମା’ ଭବବତୀ ପୀଠର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ୫- ଟି ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ ହେବ ।
ପୁର୍ତ୍ତ ବିଭାଗର ପର୍ଯ୍ୟଟନ ସ୍ଥଳ ଓ ଐତିହ କିର୍ତ୍ତୀରାଜିର ସମନ୍ୱତ ବିକାଶ ଯୋଜନାରେ ଏହାକୁ ସାମିଲ କରାଯାଇଛି । ଓଡିଶା ସେତୁ ନିର୍ମାଣ ନିଗମ ଉପରେ ବିକାଶ ଦାୟିତ୍ୱ ନ୍ୟସ୍ତ କରାଯାଇଛି । ପୁରୀ ଜିଲ୍ଲାର କାକଟପୁରରେ ବିରାଜିତ ମା’ ମଙ୍ଗଳା ଲକ୍ଷ ଲକ୍ଷ ଭକ୍ତଙ୍କ ଆସ୍ଥା ଓ ବିଶ୍ୱାସର ପ୍ରତୀକ । ପଞ୍ଚଦଶ ଶତାବ୍ଦୀରେ ନିର୍ମିତ ମା’ ମାଙ୍ଗଳାଙ୍କ ପୀଠର ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସହ ଘନିଷ୍ଠ ସଂପର୍କ ରହିଛି । ନବକଳେବର ସମୟରେ ଦଇତାପତି ସେବକମାନେ ମା’ଙ୍କ ଆଜ୍ଞାକ୍ରମେ ଏଠାରୁ ହିଁ ଦାରୁ ସନ୍ଧାନରେ ଯାଇଥାନ୍ତି ।
ଚୈତ୍ର ମାସରେ ଝାମୁ ଯାତ୍ରା ମା’ଙ୍କ ପ୍ରସିଦ୍ଧ ପର୍ବ । ୫-ଟି ଉପକ୍ରମରେ ଏହି ପ୍ରାଚୀନ ଶକ୍ତିପୀଠର ବିକାଶ ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନରେ ମନ୍ଦିରରେ ଖଣ୍ଡୋଲାଇଟ୍ ପଥର ବିଛାଯିବା ସହିତ ମନ୍ଦିରର ରୋଷଘର ଓ ଜଳ ନିଷ୍କାସନ ବ୍ୟବସ୍ଥାର ସଂସ୍କାର କରାଯିବ । ଏହା ସହିତ ସେବାୟତ ଭବନ, ଭୋଗ ଦୋକାନ ପ୍ରାଚୀ ନଦୀ କୂଳରେ ମୁଣ୍ଡନ ସ୍ଥାନ, ଚନ୍ଦନଘାଟର ବିକାଶ, ଗୋଷ୍ଠୀ ଶୌ·ଳୟ ଆଦିର ବିକାଶ କରାଯିବ । ପୀଠକୁ ଅଧିକ ଆକର୍ଷଣୀୟ କରାଯିବା ପାଇଁ କୋଣାର୍କ ପାଶ୍ୱର୍ ରାସ୍ତାରେ ଐତିହ୍ୟ ଦ୍ୱାର ନିର୍ମାଣ କରାଯିବ ।
ଯାତ୍ରୀମାନଙ୍କ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ନେବା ସହିତ ଆଲୋକୀକରଣ, ଲ୍ୟାଣ୍ଡସ୍କେପିଂ ଓ ବୃକ୍ଷରୋପଣ କରାଯିବା ସହିତ ପାର୍କିଂ ସ୍ଥଳର ମଧ୍ୟ ବିକାଶ କରାଯିବ । ଓଡିଶା ସେତୁ ନିର୍ମାଣ ନିଗମ ୧୨ ମାସ ମଧ୍ୟରେ ଏହାକୁ ସଂପୂର୍ଣ୍ଣ କରିବ । ଖୋର୍ଦ୍ଧା ଜିଲ୍ଲା ବାଣପୁରର ମା’ ଭବବତୀଙ୍କ ପୀଠକୁ ପ୍ରତିଦିନ ହଜାର ହଜାର ଭକ୍ତ ମା’ଙ୍କ ଦର୍ଶନ ଓ ପୂଜା ପାଇଁ ଆସିଥାନ୍ତି ।
ମା’ଙ୍କ ପୀଠରେ ଦଶହରା ପର୍ବ ବିପୁଳ ଉତ୍ସାହ ମଧ୍ୟରେ ପାଳନ କରାଯାଇଥାଏ । ନବମ ଶତାବ୍ଦୀରେ ନିର୍ମିତ ମା’ଙ୍କ ମନ୍ଦିରର ବିକାଶ ପାଇଁ ୫-ଟି ଉପକ୍ରମରେ ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯାଇଛି । ସିଂହଦ୍ୱାରଠାରୁ ଆରମ୍ଭ କରି ପରିକ୍ରମା, ଘାଟ, ଯାତ୍ରା ପଡିଆ, ଯାତ୍ରୀ ସୁବିଧା ତଥା ଜଗନ୍ନାଥ ମନ୍ଦିରର ବିକାଶ ପାଇଁ ଏଥିରେ ସ୍ୱତନ୍ତ୍ର ଫୋକସ ରଖାଯାଇଛି ।
ଏହା ସହିତ ବହୁମୁଖୀ ହଲ, ରାସ୍ତା ଓ ନଦୀଘାଟ ଆଦିର ବିକାଶ ଉପରେ ସ୍ୱତନ୍ତ୍ର ଧ୍ୟାନ ଦିଆଯାଇଛି । ରାଜ୍ୟ ପ୍ରତ୍ନତତ୍ତ୍ୱ ନିର୍ଦ୍ଦେଶାଳୟ ତତ୍ତ୍ୱାବଧାନରେ ଓଡିଶା ସେତୁ ନିର୍ମାଣ ନିଗମ ୨୪ ମାସ ମଧ୍ୟରେ ଏହି କାର୍ଯ୍ୟ ସଂପାଦନ କରିବ । ଖୋର୍ଦ୍ଧା ଜିଲ୍ଲାର ଅନ୍ୟତମ ଶକ୍ତିପୀଠ ହେଉଛି ଭୁଷୁଣ୍ଡପୁରର ମା’ ଉଗ୍ରତାରାଙ୍କ ପୀଠ । ୧୩୫୨ ଖ୍ରୀଷ୍ଟାବ୍ଦରେ ନିର୍ମିତ ମା’ ଉଗ୍ରତାରାଙ୍କ ପୀଠ ଭକ୍ତମାନଙ୍କ ବିଶ୍ୱାସର କେନ୍ଦ୍ର ହୋଇ ରହିଆସିଛି ।