ଆସନ୍ତାକାଲିଠୁ ବଢିବ ବର୍ଷା

ଭୁବନେଶ୍ୱର : ପୂର୍ବ ମଧ୍ୟ ଏବଂ ଉତର-ପୂର୍ବ ବଙ୍ଗୋପସାଗରର ଏକ ଘୂର୍ଣ୍ଣିଂବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୧୧ତାରିଖ ବେଳକୁ ଉତର-ବଙ୍ଗୋପସାଗର ତଥା ତାର ଆଖପାଖ ଅଂଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏଥିଯୋଗୁଁ ଆସନ୍ତାକାଲି (ଗୁରୁବାର)ଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ଆଶଙ୍କା ରହିଥିବା ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼ , କେନ୍ଦୁଝର, ମୟୁରଭଞ୍ଜ,ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଏହିସବୁ ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତାକାଲି ବେଳକୁ ବର୍ଷାର ପରିମାଣ ବଢିପାରେ । ୧୦ ତାରିଖରୁ ୧୧ ତାରିଖ ମଧ୍ୟରେ କେନ୍ଦ୍ରାପଡା, ଜଗତସିଂହପୁର, କଟକ , ଅନୁଗୁଳ, ଢେଙ୍କାନାଳ ଓ ସମ୍ବଲପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ଯୋଗୁଁ ଅକସ୍ମାତ୍ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ । ସେହିପରି ମାଟିରାସ୍ତା ଧସିଯିବା, ପାହାଡ଼ିଆ ଅଂଚଳରେ ଭୂ-ସ୍ଖଳନ ଓ ମ୍ୟୁନିସିପାଲିଟି ଅଂଚଳରେ ଯାତାୟାତ ବାଧାପ୍ରାପ୍ତ ହୋଇପାରେ । ଏଥିଯୋଗୁଁ ପନିପରିବା ଚାଷ ମଧ୍ୟ ନଷ୍ଟ ହେବାର ସମ୍ଭାବନା ରହିଛି । ତେଣୁ ସତର୍କତା ଅବଲମ୍ବନ କରିବା ପାଇଁ ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟବାସୀଙ୍କୁ ସତର୍କ କରାଇ ଦିଆଯାଇଛି ।

ଏହି ସମୟ ମଧ୍ୟରେ ମୟୁରଭଂଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ଯାଜପୁର, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ବରଗଡ, ମାଲକାନଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବଣ୍ଣପୁର ଓ ନବରଙ୍ଗପୁର ଜିଲ୍ଳାରେ ପ୍ରବଳ ବଷା ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୧୦ରୁ ୧୪ତାରିଖ ମଧ୍ୟରେ ବିଭିନ୍ନ ଅଂଚଳରେ ଝଡ଼ବର୍ଷା ସହ ଘଂଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।