କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ୯୨.୩୭ କୋଟି ଟଙ୍କାର ବୋନସ୍ ଓ ଅନ୍ୟ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

171

-କେନ୍ଦୁପତ୍ର ବୋର୍ଡ ବୈଠକ

-ମୃତ୍ୟୁ ଓ ଅକର୍ମଣ୍ୟତା କ୍ଷେତ୍ରରେ ସହାୟତା ଦୁଇ ଲକ୍ଷକୁ ବୃଦ୍ଧି

ଭୁବନେଶ୍ୱର: କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟାନ୍ୟ କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସୋମବାର ୯୨.୩୭ କୋଟି ଟଙ୍କାର ବୋନସ୍ ଏବଂ ଅନ୍ୟାନ୍ୟ ସହାୟତା ଘୋଷଣା କରିଛନ୍ତି । ତନ୍ମଧ୍ୟରୁ କେବଳ ବୋନସର ପରିମାଣ ୫୯.୭୮ କୋଟି ଟଙ୍କା ଏହା ସହିତ କେନ୍ଦୁପତ୍ର କର୍ମଚାରୀଙ୍କ ମୃତ୍ୟୁ ବା ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମତା କ୍ଷେତ୍ରରେ ଅନୁକମ୍ପାମୂଳକ ସହାୟତାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଏକ ଲକ୍ଷ ଟଙ୍କାରୁ ଦୁଇ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ସୋମବାର ଦିନ ଅନୁଷ୍ଠିତ କେନ୍ଦୁପତ୍ର କଲ୍ୟାଣ ବୋର୍ଡ ବୈଠକରେ ଭିଡିଓ କନ୍‌ଫରେନସିଂ ଜରିଆରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି ।

କେନ୍ଦୁପତ୍ର ତୋଳାଳୀ, ବନ୍ଧେଇ ଶ୍ରମିକ ଓ ସାମୟିକ କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ଚଳିତ ବର୍ଷ ବୋନସ୍‌, ଅନ୍ୟାନ୍ୟ ସହାୟତା ଓ ଭିତିଭୁମି ବିକାଶ ଉଦ୍ଦେଶ୍ୟରେ ୯୨.୩୭ କୋଟି ଟଙ୍କା ବୋର୍ଡ ମଞ୍ଜୁର କରିଛି । କେନ୍ଦୁପତ୍ର ସଂଗ୍ରହ, ବନ୍ଧେଇ ଓ ପ୍ରକ୍ରିୟାକରଣ କାର୍ଯ୍ୟରେ ସାଧାରଣତଃ ଗରିବ ଲୋକମାନେ ନିୟୋଜିତ ହୋଇଥାନ୍ତି । ୨୦୧୪ ମସିହାରେ ଏକ ଐତିହାସିକ ନିଷ୍ପତି ନେଇ ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟରୁ ପାଉଥିବା ଲାଭାଂଶରେ କେନ୍ଦୁପତ୍ର ତୋଳାଳୀମାନଙ୍କୁ ସାମିଲ କରିଛନ୍ତି । କୋଭିଡ୍ ମହାମାରୀ ସମୟରେ ବିଭାଗ ୬୦ ଲକ୍ଷରୁ ଅଧିକ କର୍ମ ଦିବସ ସୃଷ୍ଟି କରିପାରିଥିଲା । ଏହା ଦ୍ୱାରା ୭ ଲକ୍ଷ ୫୪ ହଜାରେ ୬୩୧ କେନ୍ଦୁପତ୍ର ତୋଳାଳୀ, ୧୮୨୨୩ ବନ୍ଧେଇ ଶ୍ରମିକ ଏବଂ ୧୬୫୩୩ ଜଣ ସାମୟିକ କର୍ମଚାରୀ ଉପକୃତ ହୋଇଛନ୍ତି । ୨୦୨୦ ଶସ୍ୟ ବର୍ଷରେ ଏ ବାବଦରେ ୨୫୦ କୋଟି ଟଙ୍କା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଡିବିଟି ଜରିଆରେ ପଇଠ କରାଯାଇଛି ।

ଏହି ବୈଠକରେ ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ଇସ୍ପାତ ଓ ଖଣି ଏବଂ ପୁର୍ତ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ପ୍ରମୁଖ ଯୋଗ ଦେଇ ସେମାନଙ୍କର ମତାମତ ରଖିଥିଲେ । ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (କେନ୍ଦୁପତ୍ର) ଶ୍ରୀ ପ୍ରଭାକର ବେହେରା ବୋର୍ଡର କାର୍ଯ୍ୟକ୍ରମ ସମ୍ପର୍କରେ ଉପସ୍ଥାପନା ରଖିଥିଲେ । ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଙ୍ଗଲ ଓ ପରିବେଶ ଡ. ମୋନା ଶର୍ମା ସ୍ୱାଗତ ଭାଷଣ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ ଟି) ଶ୍ରୀ ଭି.କେ. ପାଣ୍ଡିଆନ ଏବଂ ଜଙ୍ଗଲ ଓ ପରିବେଶ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ ।

Leave A Reply

Your email address will not be published.