ପୁରୀ,ଓଡ଼ିଆ ଜାତି ପାଇଁ ବର୍ତ୍ତମାନ ଏକ ଗୌରବମୟ ସମୟ। ସତ୍ୟବାଦୀ ଠାରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍ ଲୋକାର୍ପିତ କରିବା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପୋରକ୍ତ ମତ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ନିକଟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରିକ୍ରମା ପ୍ରକଳ୍ପ ଉଦ୍ଘାଟିତ ହୋଇଛି। ଆଜି ଓଡ଼ିଆ ବିଶ୍ୱ ବିଦ୍ୟାଳୟର କ୍ୟାମ୍ପସ୍ ଉଦ୍ଘାଟିତ ହେଲା। ଜାନୁଆରୀ ୨୭ ତାରିଖରେ ସମଲେଇ ପ୍ରକଳ୍ପ ଲୋକାର୍ପିତ ହେବାକୁ ଯାଉଥିବା ବେଳେ ଫେବୃଆରୀ ୩ରେ ପ୍ରଥମ ବିଶ୍ୱ ଓଡ଼ିଆଭାଷା ସମ୍ମିଳନୀ ହେବ। ତେଣୁ ନିଶ୍ଚିତ ଭାବେ ଏହା ଆମ ସମସ୍ତଙ୍କ ପାଇଁ, ସମଗ୍ର ଓଡ଼ିଆ ଜାତି ପାଇଁ ଏହା ଗୌରବ ତଥା ଅସ୍ମିତାର ସମୟୟ ବିଶ୍ୱ ବିଦ୍ୟାଳୟ କୁଳପତି, ପ୍ରାଧ୍ୟାପକ, ଓ ଛାତ୍ର ଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ସଂସ୍କୃତି, ଆମ ଜୀବନଧାରା ଓ ଆମ ପରମ୍ପରାକୁ ଭିତ୍ତି କରି ଭଲ ଭଲ ସାହିତ୍ୟ ସୃଷ୍ଟିକୁ ପ୍ରୋତ୍ସାହନ ଦେବା ଦରକାର। ଏ ଦିଗରେ ଓଡିଆ ବିଶ୍ୱବିଦ୍ୟାଳୟ ନେତୃତ୍ୱ ନେବ ବୋଲି ସେ ଆଶା ବ୍ୟକ୍ତି କରିଥିଲେ। ସତ୍ୟବାଦୀକୁ ଓଡିଆ ନବଜାଗରଣର ପୀଠ ଭାବେ ବର୍ଣ୍ଣନା କରି ସେ କହିଲେ ଯେ ଉକ୍ରଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ କର୍ମଭୂମୀ ହେଉଛି ସତ୍ୟବାଦୀ। ଆଦି କବି ସାରଳା ଦାସଙ୍କୁ ପ୍ରଣାମ ଜଣାଇ ମୁଖ୍ୟମନ୍ତ୍ରୀ ଓଡିଆ ଭାଷାରସୁରକ୍ଷା ପାଇଁ ସଂଗ୍ରାମ କରିଥିବା ବରପୁତ୍ରମାନଙ୍କ ଉଚ୍ଚ ପ୍ରଶଂସା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରିଥିବା ମହାରଥୀମାନଙ୍କ ପ୍ରତି ମଧ୍ୟ ସମ୍ମାନ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭାଷା ଗୋଟିଏ ଜାତିର ଅସ୍ମିତାର ପରିଚୟ। ଜାତିର ମୁକୁଟ ହେଉଛି ତା’ର ଭାଷା। ଭାଷାର ବ୍ୟବହାର ବଢିଲେ ଏହା ସମୃଦ୍ଧ ହେବା ସହ ଜାତିର ଗୌରବ ବୃଦ୍ଧି କରିଥାଏ। ଓଡିଶା ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ବୋଲି ଉଲ୍ଳେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଆ ଭାଷା ଏକ ପ୍ରାଚୀନ ଭାଷା। ଏହା ଶାସ୍ତ୍ରୀୟ ମାନ୍ୟତା ଲାଭ କରିଛି। ଓଡିଆ ଭାଷାରେ ଅନେକ ସମୃଦ୍ଧ ସାହିତ୍ୟ ସୃଷ୍ଟି ହୋଇଛି। ସମଗ୍ର ବିଶ୍ୱରେ ଆମ ସାହିତ୍ୟର ପ୍ରଚାର ପ୍ରସାର ପାଇଁ ଉଦ୍ୟମ କରାଯିବା ସଙ୍ଗେ ସଙ୍ଗେ ଆମ ଭାଷା ପ୍ରତି ଯୁବପିଢିଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରାଯିବା ଦରକାର ବୋଲି କହିଥିଲେ। ସାମାଜିକ ଗଣମାଧ୍ୟମରେ ଓଡ଼ିଆ ଭାଷାର ବ୍ୟବହାର ବୃଦ୍ଧି କରାଯିବା ଆବଶ୍ୟକ ବୋଲି ଉଲ୍ଲେଖ କରି ସେ ଓଡିଆ ଭାଷା ଉପରେ ଅଧିକ ଗବେଷଣା କରିବାକୁ ଗୁରୁତ୍ୱାରୋପ କରିଥିଲେ। କାର୍ଯ୍ୟକ୍ରମରେ ଯୋଗ ଦେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ କହିଥିଲେ ଯେ ଓଡିଆ ଭାଷା ଓ ଅସ୍ମିତାର ସୁରକ୍ଷା ପାଇଁ ଓଡିଆ ବିଶ୍ୱବିଦ୍ୟାଳୟ ହେଉଛି ମୁଖ୍ୟମନ୍ତ୍ରୀଙ୍କ ଏକ ବଡ ଅବଦାନ। ଓଡିଆ ବିଶ୍ୱବିଦ୍ୟାଳୟ ଯୋଗୁଁ ଓଡିଆ ଭାଷା ଓ ସାହିତ୍ୟକୁ ଭଲ ପାଉଥିବା ଦେଶ ବିଦେଶରେ ରହୁଥିବା ଓଡିଆମାନେ ଖୁବ ଉତ୍ସାହିତ ବୋଲି ସେ କହିଥିଲେ। ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, କୁଳପତି ପ୍ରଫେସର ସବିତା ପ୍ରଧାନ ପ୍ରମୁଖ ନିଜ ନିଜର ବକ୍ତବ୍ୟ ରଖିଥିଲେ। ଉଚ୍ଚଶିକ୍ଷା ସଚିବ ଅରବିନ୍ଦ ଅଗ୍ରୱାଲ ସ୍ୱାଗତ ଭାଷଣ ଦେଇଥିଲେ ଏବଂ କୁଳସଚିବ ରଶ୍ମୀରେଖା ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ସୂଚନାଯୋଗ୍ୟ, ୨୦୧୮ ଅକ୍ଟୋବର ୯ରେ ସତ୍ୟବାଦୀଠାରେ ମୁଖ୍ୟମନ୍ତ୍ରୀ ଓଡ଼ିଆ ବିଶ୍ୱବିଦ୍ୟାଳୟ ପାଇଁ ଶିଳାନ୍ୟାସ କରିଥିଲେ। ୯.୬୦ ଏକର ପରିମିତ ଅଞ୍ଚଳରେ ଅତ୍ୟାଧୁନିକ ସ୍ଥାପତ୍ୟ ଶୈଳୀ ଓ ଟେକ୍ନୋଲୋଜିରେ ନିର୍ମିତ ଏହି ବିଶ୍ୱ ବିଦ୍ୟାଳୟର ପ୍ରଥମ ପର୍ଯ୍ୟାୟ ଆଜି ଉଦ୍ଘାଟିତ ହୋଇଛି। ପ୍ରଶାସନିକ ବିଲ୍ଡିଂରେ ସ୍ଥାପିତ ଓଡ଼ିଆ ବର୍ଣ୍ଣମାଳା ଅତୀବ ମନୋରମ ଦୃଶ୍ୟମାନ ହେଉଛି। ଏଥିରେ ସ୍କୁଲ ଅଫ ଲର୍ଣିଂ, ଗ୍ରନ୍ଥାଗାର, ହଷ୍ଟେଲ, ରାଧାକୁଣ୍ଡ ପୁଷ୍କରିଣୀ, କାଫେଟେରିଆ, ଫାଉଣ୍ଟେନ୍ ଆଦି ରହିଛି। ଏହା ସହିତ ମୁକ୍ତ ପରିବେଶରେ ପାଠ ପଢ଼ାର ବ୍ୟବସ୍ଥା ମଧ୍ୟ ରହିଛି।
Sign in
Sign in
Recover your password.
A password will be e-mailed to you.